ଭୁବନେଶ୍ୱର : ରାଜ୍ୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ଅଧୀନରେ ପ୍ରଥମ ପର୍ଯ୍ୟାୟରେ ୮୩୫ ଆଦର୍ଶ ବିଦ୍ୟାଳୟ ନିର୍ମାଣ ହେବ। ଏହି ବିଦ୍ୟାଳୟଗୁଡ଼ିକ ରାଜ୍ୟର ଉଚ୍ଚ ବିଦ୍ୟାଳୟ ପାଇଁ ଏକ ଫିଡର୍ ସ୍କୁଲ ଭାବେ କାର୍ଯ୍ୟ କରିବ। ପ୍ରତ୍ୟେକ ବିଦ୍ୟାଳୟ ପାଇଁ ୭ କୋଟି ଟଙ୍କା ପର୍ଯ୍ୟନ୍ତ ବ୍ୟୟ ଅଟକଳ ରଖାଯାଇଛି। ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ସମୀକ୍ଷା ବୈଠକରୁ ଏହି ସୂଚନା ମିଳିଛି।
ଯେଉଁ ସ୍କୁଲରେ ୧୦୦ରୁ ଅଧିକ ଛାତ୍ରଛାତ୍ରୀ ଥିବେ, ୨ ଏକରରୁ ଅଧିକ ଜମି ଉପଲବ୍ଧ ହେଉଥିବ ଏବଂ ଶିଶୁ ବାଟିକାଠାରୁ ଆରମ୍ଭ କରି ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ହେଉଥିବ; ସେହି ସ୍କୁଲଗୁଡ଼ିକୁ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଭାବେ ନିର୍ମାଣ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏହି ବିଦ୍ୟାଳୟଗୁଡ଼ିକରେ ଏସ୍ଟିଇଏମ୍ ପଦ୍ଧତିରେ ଶିକ୍ଷା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ଇଞ୍ଜିନିୟରିଂ ଏବଂ ଗଣିତ ଶିକ୍ଷା ସହ ବୃତ୍ତିଗତ ଦକ୍ଷତା ଓ ଅଭିଜ୍ଞତାମୂଳକ ଶିକ୍ଷା ସମେତ ବହୁବିଧ ଶିକ୍ଷାକୁ ପ୍ରାଧାନ୍ୟ ଦିଆଯିବ।