ଭୁବନେଶ୍ବର : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଯାହା ଫଳରେ ୨୬ରୁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୫ରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଘୁର୍ଣ୍ଣିବଳୟର ପ୍ରଭାବ ବଢିବ । ଘନିଭୂତ ହୋଇ ୪୮ ଘଣ୍ଟା ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ପରେ ଉପକୂଳ ଓଡିଶା ଆଡ଼କୁ ମୁହାଁଇବ । ଏହାର ପ୍ରଭାବରେ ୨୬ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର।
ଏଥି ସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଉର୍ଦ୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁସାରେ ଗତକାଲି ଅର୍ଥାତ ରବିବାର ଯେଉଁ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଥିଲା ଏହା ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକାରେ ସକ୍ରିୟ ରହିଛି । ଏହା ସମୁଦ୍ର ପତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି । ଏହାପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଆଦି ରହିଛି। ଏହି ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।