ବଙ୍ଗୋପସାଗରରେ ଘନୀଭୂତ ହେଉଛି ଅବପାତ: ଆଗାମୀ ୧୨ ଘଣ୍ଟା ମଧ୍ୟରେ ନେବ ଗଭୀର ଅବପାତର ରୂପ
ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଅଧିକ ଘନୀଭୂତ ହେବାରେ ଲାଗିଛି। ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଏକ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ଗତ ୬ ଘଣ୍ଟା ମଧ୍ୟରେ ଏହି ସିଷ୍ଟମ୍ ଘଣ୍ଟାପ୍ରତି ୧୭ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିଛି। ବର୍ତ୍ତମାନ ଏହା ଓଡ଼ିଶାର ଗୋପାଳପୁର ଠାରୁ ଦକ୍ଷିଣ-ପୂର୍ବ ଦିଗରେ ୨୨୦ କିଲୋମିଟର, ପୁରୀ ଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୨୨୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି। ସେହିପରି ଆନ୍ଧ୍ରପ୍ରଦେଶର କଳିଙ୍ଗପାଟନମ୍ ଠାରୁ ୨୩୦ କିଲୋମିଟର ଏବଂ ବିଶାଖାପାଟଣା ଠାରୁ ୩୨୦ କିଲୋମିଟର ଦୂରରେ ଏହା ଅବସ୍ଥାନ କରୁଛି। IMD ପକ୍ଷରୁ ଏହି ସିଷ୍ଟମ ଉପରେ କ୍ରମାଗତ ନଜର ରଖାଯାଇଛି।
ଏହି ଗଭୀର ଅବପାତଟି ସମାନ ଦିଗରେ ଗତି କରି ସେପ୍ଟେମ୍ବର ୨୩ ତାରିଖ ରାତିରୁ ୨୪ ତାରିଖ ସକାଳ ସୁଦ୍ଧା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳର ବିଶାଖାପାଟଣା ଏବଂ ଗୋପାଳପୁର ମଧ୍ୟରେ ଅତିକ୍ରମ କରିବାର ପ୍ରବଳ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।
ଆଗାମୀ କିଛି ସମୟ ପାଇଁ ସମୁଦ୍ର ଅଶାନ୍ତରୁ ଅତି ଅଶାନ୍ତ ରହିବ। ତେଣୁ ସମ୍ଭାବ୍ୟ ବିପଦକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଲୋକମାନଙ୍କୁ ମଧ୍ୟ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।






