ଭୁବନେଶ୍ବର: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହି ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସହ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ପାଗ ମେଘୁଆ ରହିବା ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଅବପାତର ପ୍ରଭାବ ଓଡ଼ିଶାକୁ ବେଶୀ ନଥିବା କହିଛନ୍ତି ଆଇଏମଡି ଡିଜି । ଆସନ୍ତାକାଲି ସକାଳେ ଗଭୀର ଅବପାତ ରୂପ ନେଇପାରେ ଅବପାତ । ଆନ୍ଧ୍ର ଉପକୂଳରୁ ଦୂରରେ ଉତ୍ତର- ଉତ୍ତର ପୂର୍ବ ଦିଗକୁ ଗତି କରିବ। ପ୍ରଭାବରେ ଆଜି ସନ୍ଧ୍ୟାରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ଉପକୂଳବର୍ତ୍ତୀ ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।
ଆସନ୍ତା ୧୭ ତାରିଖରେ ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସମୁଦ୍ର ଅଶାନ୍ତ ଥିବାରୁ ୧୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି।