ମାଲକାନଗିରିର ୨୫ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ-ମାଲକାନଗିରିର ବିକାଶ କାମ ମୋତେ ସବୁଠାରୁ ଅଧିକ ଖୁସି ଦେଇଥାଏ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି ଜିଲ୍ଲା ପାଇଁ ୬ଟି ଗୁରୁତ୍ବପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହିସବୁ ପ୍ରକଳ୍ପଗୁଡିକ ଜିଲ୍ଲାର ସାମାଜିକ ଓ ଆର୍ଥିକ ବିକାଶକୁ ଆହୁରି ଆଗେଇ ନେବ । ଭିଡିଓ କନ୍ଫରେନ୍ସିଂ ଜରିଆରେ ପ୍ରକଳ୍ପ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ମାଲକାନଗିରି ସବୁବେଳେ ମୋ ପାଇଁ ସ୍ବତନ୍ତ୍ର ହୋଇ ରହିଛି । ମାଲକାନଗିରିର ବିକାଶ […]

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି ଜିଲ୍ଲା ପାଇଁ ୬ଟି ଗୁରୁତ୍ବପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହିସବୁ ପ୍ରକଳ୍ପଗୁଡିକ ଜିଲ୍ଲାର ସାମାଜିକ ଓ ଆର୍ଥିକ ବିକାଶକୁ ଆହୁରି ଆଗେଇ ନେବ ।

ଭିଡିଓ କନ୍ଫରେନ୍ସିଂ ଜରିଆରେ ପ୍ରକଳ୍ପ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ମାଲକାନଗିରି ସବୁବେଳେ ମୋ ପାଇଁ ସ୍ବତନ୍ତ୍ର ହୋଇ ରହିଛି । ମାଲକାନଗିରିର ବିକାଶ କାମ ମୋତେ ସବୁଠାରୁ ଅଧିକ ଖୁସି ଦେଇଥାଏ। ମୋର ପୂର୍ଣ୍ଣ ବିଶ୍ବାସ, ମାଲକାନଗିରି ପରିଚୟ ଆଗକୁ ଆହୁରି ଉଜ୍ଜଳ ହେବ। ରାଜ୍ୟର ଏକ ଆଗୁଆ ଜିଲ୍ଲା ଭାବରେ ବିକାଶ ମାନଚିତ୍ରରେ ମାଲକାନଗିରି ନିଜର ସ୍ଥିତିକୁ ଆହୁରି ଦୃଢ କରିବ।’

ଆଜି ଉଦ୍ଘାଟିତ ହୋଇଥିବା ପ୍ରକଳ୍ପ ଗୁଡିକ ମଧ୍ୟରେ ରହିଛି – ଅନ୍ବେଷା କାର୍ଯ୍ୟକ୍ରମରେ ଶିକ୍ଷାଗ୍ରହଣ କରୁଥିବା ଅନୁସୂଚିତ ଜନଜାତି ଓ ଜାତି ପିଲାମାନଙ୍କ ପାଇଁ ଦୁଇଟି ହଷ୍ଟେଲ। ଏଥିରେ ୬୦୦ ପୁଅ ଓ ୬୦୦ ଝିଅ ରହିବପାଇଁ ବ୍ୟବସ୍ଥା କରାଯାଇଛି। ମୋଟୁ ଟ୍ରାଇ ଜଙ୍କସନ୍‌ରେ ବିଜୁ ପଟ୍ଟନାୟକ ଅନ୍ତଃରାଜ୍ୟ ବସ୍ ଟର୍ମିନାଲ । ଏହା ଜିଲ୍ଲା ସହିତ ଛତିଶଗଡ ଓ ଅନ୍ଧ୍ରପ୍ରଦେଶକୁ ଗମନାଗମନ ସୁଗମ କରିଛି। ଏହାସହିତ ମାଲକାନଗିରି ବଣ୍ଡା ଅଞ୍ଚଳକୁ ଯୋଡୁଥିବା ଏକ ଉଚ୍ଚସ୍ତରୀୟ ସେତୁ ଓ ବାଲିମେଳା ଠାରେ ତମସା ନଦୀ ଉପରେ ବିଜୁ ସେତୁ, କ୍ରୀଡାର ବିକାଶ ପାଇଁ ଏକ ଜୁଡୋ ଏକାଡେମୀ ଓ ପିଲାମାନଙ୍କ ପାଇଁ ଏକ ସ୍ବଧାର ଗୃହ।

ମୁଖ୍ୟମନ୍ତ୍ରୀ ମାଲକାନଗିରି ଜିଲ୍ଲାରେ ଦ୍ରୁତ ବିକାଶ କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରିଥିଲେ। ସେ କହିଥିଲେ ଯେ ମାଲକାନଗିରିବାସୀ ଆଜି ବିକାଶ ସହ ଯୋଡି ହୋଇ ରହିଛନ୍ତି। ବିକାଶ କାମରେ ଆପଣମାନଙ୍କ ସହଯୋଗ ସବୁବେଳେ ଆମକୁ ଉତ୍ସାହିତ କରି ଆସିଛି । ଜିଲ୍ଲାରେ ଶିକ୍ଷା ଓ ସଚେତନତା ପ୍ରସାର ଘଟିଛି । ଯୋଗାଯୋଗରେ ଉନ୍ନତି ଆସିଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଠାରୁ ଆରମ୍ଭ କରି ବିଭିନ୍ନ କଲ୍ୟାଣ ଯୋଜନାର ସୁଯୋଗ ଆପଣମାନେ ନେଉଥିବା ଖୁସିର କଥା । ମାଲକାନଗିରିର ସଫଳ ଚାଷୀ, ମିଶନଶକ୍ତିର ମା ମାନେ, ଛାତ୍ରଛାତ୍ରୀ, ଯୁବବର୍ଗ – ଏ ସମସ୍ତଙ୍କ ସଫଳତା ଆଜି ଜିଲ୍ଲା ପାଇଁ ନୂଆ ପରିଚୟ ଆଣିଛି ବୋଲି ସେ କହିଥିଲେ ।

ବଣ୍ଡା ଘାଟିର ଝିଅ କରମା ମୁଦୁଲି ଭୁବନେଶ୍ବରର ସବୁଠାରୁ ଭଲ ସରକାରୀ ମହିଳା ୟୁନିଭରସିଟିରେ ପାଠ ପଢୁଥିବାର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ହିଁ ସୁଯୋଗ ଆଣିଥାଏ ଓ ଶିକ୍ଷା ହିଁ ଏ ରୂପାନ୍ତର ଆଣିଛି । ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ପାଠ ପଢି ନିଜ ପାଇଁ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହି ଅବସରରେ ଚିତ୍ରକୁଣ୍ଡା ବିଧାୟକ  ପୂର୍ଣ୍ଣଚନ୍ଦ୍ର ବାକା ଏବଂ ଜିଲ୍ଲା ପରିଷଦ ଅଧ୍ୟକ୍ଷା  ସମାରୀ ଟାଙ୍ଗଲୁ ପ୍ରମୁଖ ବକ୍ତବ୍ୟ ରଖି ମାଲକାନଗିରି ଜିଲ୍ଲାରେ ଦ୍ରୁତ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ । ୫-ଟି ସଚିବ  ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ବୈଠକରେ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

About The Author: The Sakala