ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅକୱାନ’ ଏବେ ଅଧିକ ଶକ୍ତିଶାଳୀ ହେବାରେ ଲାଗିଛି। ଭାରତୀୟ ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ଏହା ଆଜି ସନ୍ଧ୍ୟା ସୁଦ୍ଧା ଏକ ଭୀଷଣ ବାତ୍ୟାରେ ପରିଣତ ହେବ ଏବଂ ନଭେମ୍ବର ୧୯ ସକାଳ ସୁଦ୍ଧା ଏହା ‘ଅତି ଭୀଷଣ ସାମୁଦ୍ରିକ ଝଡ଼’ର ରୂପ ନେବାର ସମ୍ଭାବନା ରହିଛି।
ବାତ୍ୟା ‘ଅକୱାନ’ ବର୍ତ୍ତମାନ ଦକ୍ଷିଣ ଓ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି। ଏହା ଗୋପାଳପୁରଠାରୁ ପ୍ରାୟ ୭୯୦ କିଲୋମିଟର ଦୂରରେ ରହିଛି। ଏହି ସିଷ୍ଟମ୍ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ନଭେମ୍ବର ୨୦ ମଧ୍ୟାହ୍ନ ବେଳକୁ ଆନ୍ଧ୍ରପ୍ରଦେଶର ନେଲୋର ଏବଂ ଟୁନି ମଧ୍ୟରେ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ସେହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୨୦ ରୁ ୧୩୦ କିଲୋମିଟର ରହିବ, ଯାହାକି ସର୍ବାଧିକ ୧୪୫ କିଲୋମିଟର ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ।
ବାତ୍ୟାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
- ନଭେମ୍ବର ୧୯: ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କିଛି ସ୍ଥାନରେ ୪୦-୫୦ କିମି ବେଗରେ ପବନ ବହିପାରେ।
- ନଭେମ୍ବର ୨୦: ଏହି ଦିନ ବର୍ଷାର ପରିମାଣ ବଢ଼ିବ। କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲ୍ଲା ପାଇଁ ଅରେଞ୍ଜ ବା ରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
- ନଭେମ୍ବର ୨୧: ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି।
- ନଭେମ୍ବର ୨୨: ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ନବରଙ୍ଗପୁର ଓ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ।
ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ନଭେମ୍ବର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ଏବଂ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ପ୍ରବଳ ବର୍ଷା କାରଣରୁ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା, ଟ୍ରାଫିକ୍ ବ୍ୟାହତ ଏବଂ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହେବାର ଆଶଙ୍କା ରହିଛି। ତେଣୁ ଜନସାଧାରଣଙ୍କୁ ସତର୍କ ରହିବାକୁ ଏବଂ ବିଜୁଳି ଘଡ଼ଘଡ଼ି ସମୟରେ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ କୁହାଯାଇଛି।