ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହେଲା 'ଅକୱାନ'; ବାତ୍ୟା ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି
ଭୁବନେଶ୍ୱର: ଭୟଙ୍କର ବାତ୍ୟା 'ଅକୱାନ' ସ୍ଥଳଭାଗ ଅତିକ୍ରମ କରିବା ପରେ ଦୁର୍ବଳ ହୋଇଥିଲେ ମଧ୍ୟ ଓଡ଼ିଶାରେ ଏହାର ପ୍ରଭାବ ଜାରି ରହିଛି। ବାତ୍ୟା ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ସୂଚନା ଦିଆଯାଇଛି। ସ୍ଥିତିକୁ ଦୃଷ୍ଟିରେ ରଖି ୧୪ଟି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୫୫ ରୁ ୬୫ କିଲୋମିଟର ରହିପାରେ ଏବଂ ବଜ୍ରପାତର ଆଶଙ୍କା ମଧ୍ୟ ରହିଛି।
ଅନ୍ୟପଟେ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ, ରାୟଗଡ଼ା ଏବଂ ଗଜପତି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଠାରେ ମଧ୍ୟ ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବୋହିବାର ଆଶଙ୍କା ରହିଛି। ବାତ୍ୟା ପରବର୍ତ୍ତୀ ପ୍ରଭାବରେ ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।
ବାତ୍ୟା ଦୁର୍ବଳ ହୋଇଥିଲେ ମଧ୍ୟ ବିପଦ ସମ୍ପୂର୍ଣ୍ଣ ଟଳି ନାହିଁ। ପ୍ରବଳ ବର୍ଷା ଏବଂ ପବନ ଯୋଗୁଁ ସାଧାରଣ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ଜନସାଧାରଣଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି।






