ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଉତ୍ତର – ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ- କେନ୍ଦ୍ରୀୟ ଭାଗରେ ଲଘୁଚାପ ସୃଷ୍ଟି ହୋଇଛି। ଦକ୍ଷିଣ ଓଡ଼ିଶା- ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଛି। ଏଥିସହ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏ ବ୍ୟାପିଛି। ଏହାଫଳରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଥିବା ବେଳେ ବର୍ଷାର ପରିମାଣ ଆହୁରି ବଢିବ।
ପାଣିପାଗ ବିଶେଷଜ୍ଞଙ୍କ ସୂଚନା ଅନୁଯାୟୀ ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ଧରି ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥି ସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୬ ସେପ୍ଟେମ୍ବର ବୁଧବାର ଅପରାହ୍ନ ମଧ୍ୟରେ ରାଜ୍ୟର ୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୨୦ ସେମିରୁ ଅଧିକ) ହେବାର ସମ୍ଭାବନା ଥିବା ବେଳେ ୧୪ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି।
ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୩ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ। ଏଥି ସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ସେମି) ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।