ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ । ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା । IMD ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।
ଗତ ବୁଧବାର ଠାରୁ ଏହି ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନରୁ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି ଏବଂ ଦକ୍ଷିଣ-ପଶ୍ଚିମ ଦିଗକୁ ଢଳି ରହିଛି। ଆଗାମୀ ୨ ରୁ ୩ ଦିନ ମଧ୍ୟରେ ଏହି ଲଘୁଚାପ ଅଧିକ ସକ୍ରିୟ ଓ ଘନୀଭୂତ ହେବାର ସମ୍ଭାବନା ରହିଛି ବୋଲି ଆଇଏମ୍ଡି ବିଜ୍ଞପ୍ତିରେ ଦର୍ଶାଯାଇଛି।
ଏହାର ପ୍ରଭାବରେ ମୌସୁମୀ ସକ୍ରିୟ ହେବା ସହ ରାଜ୍ୟର ବିଭିନ୍ନ ସ୍ଥାନରେ ଭୀଷଣ ବର୍ଷା । ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ଅତି ପ୍ରବଳ ବର୍ଷା ହୋଇପାରେ। ମୟୂରଭଞ୍ଜ ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଆଜି ପାଇଁ ଏହି ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ଵର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି ଓ ଗଜପତିରେ ପ୍ରବଳ ବର୍ଷା ହୋଇପାରେ। ଏହି ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।