ଯଶିପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ୨ ମୃତ, ୨ ଗୁରୁତର

ଯଶିପୁର: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ଦୁଇ ଜୀବନ । ମୟୂରଭଞ୍ଜ ଜିଲ୍ଲା ଯଶିପୁର ଥାନା ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପଥର ପାଣ୍ଠ ନିକଟରେ ଆଜି ସକାଳୁ ଏକ ହୃଦୟବିଦାରକ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ହିଁ ଦୁଇ ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ ପାଣ୍ଠ ନିକଟସ୍ଥ ଜାତୀୟ ରାଜପଥରେ ବିପରୀତ ଦିଗରୁ ଆସୁଥିବା ଦୁଇଟି ବାଇକ୍ ମଧ୍ୟରେ ଜୋରଦାର ଧକ୍କା ହୋଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ଦୁଇ ଜଣଙ୍କ ପ୍ରାଣବାୟୁ ଉଡ଼ିଯାଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର ଆହତ ହୋଇଥିବା ଦୁଇ ଜଣଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ତୁରନ୍ତ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଖବର ପାଇ ଯଶିପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଦୁର୍ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ମୃତାହତଙ୍କ ମଧ୍ୟରୁ ଜଣେ ଯୁବକ ବଡ଼ବିଲ ଗ୍ରାମର ବୋଲି ଜଣାପଡ଼ିଥିବା ବେଳେ ଅନ୍ୟ ତିନି ଜଣଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରି ନାହିଁ। ପୋଲିସ ପକ୍ଷରୁ ସେମାନଙ୍କ ପରିଚୟ ଖୋଜିବା ପାଇଁ ଉଦ୍ୟମ ଜାରି ରହିଛି।

About The Author: Madhusudan Das