ବାରିପଦା: ଉତ୍ତର ଓଡ଼ିଶା, ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ବଙ୍ଗୋପସାଗର ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମୟୂରଭଞ୍ଜ ଜିଲ୍ଲା ପାଇଁ 'ରେଡ୍ ୱାର୍ଣ୍ଣିଂ' ଜାରି କରାଯାଇଛି। ସମ୍ଭାବ୍ୟ ଭାରି ବର୍ଷା ଏବଂ କୋମଳମତି ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଆଖିଆଗରେ ରଖି ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସଏଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ ଆଜି ମଧ୍ୟାହ୍ନ ଭୋଜନ ପରେ ଜିଲ୍ଲାର ସମସ୍ତ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାରେ ଭୀଷଣ ବର୍ଷା ସହ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବାର ଆଶଙ୍କା ରହିଛି। ଏହାସହ ଜିଲ୍ଲାବ୍ୟାପୀ ଘଡ଼ଘଡ଼ି, ବିଜୁଳି ଏବଂ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହି ଘୂର୍ଣ୍ଣିବଳୟ ଆସନ୍ତା ୨୪ ରୁ ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବାକୁ ଥିବାରୁ ଅଗଷ୍ଟ ୧୦ ରୁ ୧୭ ତାରିଖ ପର୍ଯ୍ୟନ୍ତ ଜିଲ୍ଲାରେ ବର୍ଷାର ପ୍ରଭାବ ବଜାୟ ରହିବ। ବର୍ଷାଜନିତ ସମ୍ଭାବ୍ୟ ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।