ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ପବିତ୍ର ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ବର୍ଷକ ପରେ ପୁଣି ଥରେ ପବିତ୍ର ରଥଯାତ୍ରା ଫେରିଆସିଛି। ଶ୍ରୀମନ୍ଦିରରୁ ବାହାରି ମହାପ୍ରଭୁ ଶ୍ରୀଜଗନ୍ନାଥ ରଥାରୂଢ଼ ହୋଇ ଭକ୍ତମାନଙ୍କୁ ଦର୍ଶନ ଦେବେ। ପୁରୀ ଆସୁଥିବା ସମସ୍ତ ଶ୍ରଦ୍ଧାଳୁଙ୍କୁ ସ୍ୱାଗତ କରିବା ସହ ନିୟମ ମାନି ଶୃଙ୍ଖଳିତ ଭାବରେ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ଲାଭ କରିବାକୁ ସେ ଆହ୍ୱାନ ଦେଇଛନ୍ତି।
ସେହିପରି ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ରାଜ୍ୟବାସୀଙ୍କୁ ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି। ମହାପ୍ରଭୁଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ ବୋଲି ସେ କାମନା କରିଛନ୍ତି।
ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର ଏବଂ ଦେବୀ ସୁଭଦ୍ରାଙ୍କ ୯ ଦିନିଆ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୧୩,୦୦୦ ରୁ ଅଧିକ ପୋଲିସ କର୍ମଚାରୀ ଏବଂ ପର୍ଯ୍ୟାପ୍ତ ସଂଖ୍ୟକ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (CAPF) ମୁତୟନ ହୋଇଛନ୍ତି। ସୁରକ୍ଷା ବ୍ୟବସ୍ଥାର ତଦାରଖ ପାଇଁ ୧୯ ଜଣ ବରିଷ୍ଠ ଆଇପିଏସ୍ (IPS) ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ସମୁଦ୍ର ପଥରେ ବେଆଇନ କାର୍ଯ୍ୟକଳାପ ଉପରେ ନଜର ରଖିବାକୁ ଭାରତୀୟ ତଟରକ୍ଷୀ ବାହିନୀ ଏବଂ ଭାରତୀୟ ନୌସେନା ଆଲର୍ଟରେ ଅଛନ୍ତି। ଏହା ସହିତ ଭକ୍ତଙ୍କ ଗତିବିଧି ଉପରେ ନଜର ରଖିବା ପାଇଁ ୪୭୩ଟି ସିସିଟିଭି (CCTV) କ୍ୟାମେରା ଲଗାଯାଇଛି।