ଭୁବନେଶ୍ୱର: ଆଗାମୀ ୫ଦିନ ପର୍ଯ୍ଯନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୪ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ଏବଂ ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ବୌଦ୍ଧ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ୪ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ସେହିପରି ନୟାଗଡ଼, ଖୋର୍ଦ୍ଧା, ପୁରୀ, ନବରଙ୍ଗପୁର, ନୂଆପଡ଼ା, କୋରାପୁଟ, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ଗଜପତି ପ୍ରଭୃତି ୧୩ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।