ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଜାରି ରହିଛି। ଏହି ସ୍ଥିତି ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଜାରି ରହିବ । ଏଥିସହ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ । ଏହି କାଳବୈଶାଖୀଜନିତ ବର୍ଷାକୁ ଦୃଷ୍ଟିରେ ରଖି ଆଗାମୀ ୨୪ ଘଣ୍ଟା ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବର୍ଷା ସମୟରେ ଘଣ୍ଟାପ୍ରତି ୩୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛ। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ୟେଲୋ ଆଲର୍ଟ ଜାରି କରାଯାଇଥିବା ୧୦ ଜିଲ୍ଲାଗୁଡିକ ହେଲା- କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ । କାଳବୈଶାଖୀ ସମୟରେ ଏହିସବୁ ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ମଧ୍ୟରେ ରହିବ। ଏଥିସହ ଓଡ଼ିଶାର ଅନ୍ୟ ଜିଲ୍ଲାରେ ମଧ୍ୟ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି।